୧୭ ସୁଦ୍ଧା ଆଉ ଏକ ଘୂର୍ଣ୍ଣିବଳୟ
ଭୁବନେଶ୍ୱର: ଆସନ୍ତା ୧୭ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୧୮ତାରିଖ ସୁଦ୍ଧା ଉତ୍ତର ଓଡିଶାର ଉପକୂଳରେ ପହଞ୍ଚିବ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ଆକଳନ କରାଯାଇଛି । କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଅନ୍ୟ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲ୍କାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷାର ପରିମାଣ ଧୀରେଧୀରେ ବଢ଼ିବ ।